ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରରେ ପାଳିତ ହେଉଥିବା ଦ୍ଵାଦଶ ଯାତ୍ରା ମଧ୍ୟରୁ ପାର୍ଶ୍ଵ ପରିବର୍ତନ ଯାତ୍ରା ଅନ୍ୟତମ । ଭାଦ୍ରବ ଶୁକ୍ଳ ଏକାଦଶୀରେ ଆଜି ଏହି ଯାତ୍ରା ଅନୁଷ୍ଠିତ ହେଉଛି । ମହାପ୍ରଭୁ ୪ ମାସ ଶୟନ କାଳରେ ୨ ମାସରେ ପାର୍ଶ୍ଵ ପରିବର୍ତନ କରିଥାନ୍ତି ।
ଆଜି ଭୋଗମଣ୍ଡପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ମହାସ୍ନାନ ହୋଇ ନୂଆ ଲୁଗା ଲାଗି ହେବ । ତତ୍ପରେ ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ସେବକ ଘଟୁଆରୀ ଘରୁ ଆସିଥିବା ଚନ୍ଦନ ଶ୍ରୀଅଙ୍ଗରେ ଲାଗି କରିବେ । ଏହାପରେ ଶ୍ରୀମଦନମୋହନଙ୍କୁ ମହାଜନ ସେବକ ରତ୍ନସିଂହାସନ ବିଜେ କରାଇବେ । ସେଠାରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ମୁକ୍ତିମଣ୍ଡପ ନିକଟରେ ଥିବା ପାଲିଙ୍କିକୁ ବିଜେ କରିବେ । ଏହାପରେ ବିମାନ ବଡୁ ସେବକ ଉକ୍ତ ପାଲିଙ୍କିଟିକୁ ସ୍କନ୍ଧରେ ବହନ କରି ବଡଦେଉଳର ୧ ଥର ପରିକ୍ରମା କରି ପୁଣି ମୁକ୍ତିମଣ୍ଡପ ନିକଟରେ ରଖିବେ । ପରେ ଶ୍ରୀମଦନମୋହନ ଜୟ ବିଜୟ ଦ୍ଵାର ନିକଟରେ ବିଜେ କରିବେ ଓ ସେଠାରେ ଏକାଦଶୀ ଭୋଗ ଏବଂ ବନ୍ଦାପନା ଅନୁଷ୍ଠିତ ହେବ । ତତ୍ପରେ ଶ୍ରୀମଦନମୋହନ ଦକ୍ଷିଣୀ ଘରକୁ ବିଜେ କରିବେ ।
ସନ୍ଧ୍ୟା ଧୂପ ଶେଷ ହେବା ପରେ ଅନନ୍ତ ପୁରୁଷୋତମ ମନ୍ଦିର ଭିତରେ ଦେଉଳ ପୁରୋହିତ ପବିତ୍ର ଅଧିବାସ ନିମନ୍ତେ ଆଚାର୍ଯ୍ୟ ବ୍ରହ୍ମା ବରଣ ହୋଇ ହୋମ କରିବେ । ପ୍ରଥମ ବଡ଼ସିଂହାର ବେଶ ଓ ଭୋଗ ଶେଷ ହେବାପରେ ଖଟ ଶେଜ ଘର ଧୋପଖାଳ ହୋଇ ଦେଉଳ ପୁରୋହିତ ଏହି ଘରେ ପଂଚ ମୁରୁଜରେ ୩ଟି ମଣ୍ଡଳ କାଟିବେ ଓ ଏହାଉପରେ ପୂର୍ଣ୍ଣ କୁମ୍ଭ ପ୍ରତିଷ୍ଠା କରିବେ । ଏହାପରେ ଭଣ୍ଡାର ମେକାପ ଏହି ମଣ୍ଡଳ ଉପରେ ୯ମୂର୍ତି ପବିତ୍ରା, କୁର୍ବନ୍ତିମାଳ ୩ ମୂର୍ତିକୁ ପତନୀ ଘୋଡେଇ ରଖିବେ । ତତ୍ପରେ ଦେଉଳ ପୁରୋହିତ ବରୁଣ ପୂଜା କରି ଉକ୍ତ ପବିତ୍ରାଟିକୁ ୩ ବାଡ଼ରେ ମନ୍ତ୍ର ଉଚ୍ଚାରଣ କରି ଅଧିବାସ କରାଇବା ପରେ ଖଟ ଶେଜ ଘର ମୁଦ ଦିଆଯିବ । ଭିତର ମଇଲମ ସରି ମହାସ୍ନାନ ସରିବା ପରେ ପାଳିଆ ପୁଷ୍ପାଳକ ନୂଆ ଲୁଗା ଲାଗି କରାଇବେ । ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ଘଂଟ, ଛତ୍ର, କାହାଳୀରେ ୩ଟି ରୂପା ପିଙ୍ଗଣରେ ଚନ୍ଦନ ବିଜେ କରାଇ ତାହା ଶ୍ରୀଅଙ୍ଗରେ ସର୍ବାଙ୍ଗ ଲାଗି କରାଇବେ । ଏହାପରେ ବଲ୍ଲଭ ବଡ଼ସିଂହାର ବେଶ ହୋଇ ୬ ମୂର୍ତି ଅଳଙ୍କାର ଲାଗି ହେବା ପରେ ଘଂଟ, ଛତ୍ର, କାହାଳୀ ସହ ତଳୁଚ୍ଛ ମହାପାତ୍ର ଓ ପ୍ରଧାନୀ ସେବକ ପଟୁଆରରେ ବଲ୍ଲଭ ବଡ଼ସିଂହାର ଭୋଗ ଛାମୁକୁ ଆଣିବେ । ଏହି ବିଶେଷ ତିଥିରେ ଆଜି ଶ୍ରୀମନ୍ଦିରରେ ୨ ଥର ବଡ଼ସିଂହାର ବେଶ ଓ ଭୋଗ ଅନୁଷ୍ଠିତ ହେବ ।
ଷୋଡଶ ଉପଚାର ପୂଜା ଶେଷ ହୋଇ କର୍ପୁର ଆଳତି ହେବା ପରେ ପାର୍ଶ୍ଵ ପରିବର୍ତନ ନୀତି ଅନୁଷ୍ଠିତ ହେବ । ମୁଦିରସ୍ତ, ବେହେରା ଖୁଂଟିଆ, ଗରାବଡୁ, ପାଳିଆ ମେକାପ, ଅଖଣ୍ଡ ମେକାପ ଓ ତଢ଼ାଉ କରଣ ସେବକ ଖଟ ଶେଜ ଉପରକୁ ନିଶୁଣି ମାଧ୍ୟମରେ ଯାଇ ମୁଦ ଭାଙ୍ଗିବା ପରେ ଶୟନ ଠାକୁରଙ୍କୁ ପେଡାକୁ ମୁଦିରସ୍ତ ଖୋଲି ଗରାବଡୁ ଠାରୁ ହାତୁଆଣି ନେଇ ରୂପା ପିଙ୍ଗଣରେ ବେହେରା ଖୁଂଟିଆ ଦେଇଥିବା ଶୁକ୍ଳ ପୁଷ୍ପ ୩ ଥର ପୁଷ୍ପାଞ୍ଜଳି ଦେବାପରେ ଶୟନ ଦେବତାଙ୍କ କଡ଼ ଲେଉଟା ନୀତି କରାଯିବ । ଏହି ସମୟରେ ମୁଦିରସ୍ତ ବନ୍ଦାପନା କରିବେ । ଏହାପରେ ପେଡା ବନ୍ଦ କରି ଦୁଆରମାନ ମୁଦ ଦେଇ ତଳକୁ ଓହ୍ଲାଇ ଆସିବେ । ରତ୍ନସିଂହାସନସ୍ଥ ଶ୍ରୀଜୀଉମାନଙ୍କୁ ଲାଗି ହୋଇଥିବା ୬ ମୂର୍ତି ସ୍ଵର୍ଣ୍ଣ ଅଳଙ୍କାର ମଇଲମ କରାଯାଇ ବିଡ଼ିଆ, ଘଷା, ପଇଡ଼ ମଣୋହି କରାଯାଇ ଖଟଶେଜ ବିଜେ ପୂର୍ବକ ପହୁଡ଼ ହେବ ।