ଭୁବନେଶ୍ଵର, ୨୭ ଜୁଲାଇ – ଉତର ବଙ୍ଗୋପସାଗର ଓ ତତସଂଲଗ୍ନ ବାଙ୍ଗଲାଦେଶ ଉପକୂଳ ଅଂଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଆଗାମୀ ଦୁଇ ଦିନ ମଧ୍ୟରେ ଏହା କ୍ରମଶଃ ପଶ୍ଚିମଉତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଆଡକୁ ମୁହାଁଇବ । ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ । ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ । ଯାହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଭୀଷଣ ବର୍ଷା ନେଇ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖ ପାଇଁ ୩ ଜିଲ୍ଲା, ୩୦ ତାରିଖ ପାଇଁ ୫ ଜିଲ୍ଲା ଏବଂ ୩୧ ତାରିଖ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।