ଭୁବନେଶ୍ୱର : ଉତର ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତର ପଶ୍ଚିମ ବଙ୍ଗୋପସାଗରରଏବଂ ତାର ପାର୍ଶ୍ୱବର୍ତୀ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏବଂ ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଫଳରେ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଂଟା ମଧ୍ୟରେ ପୁରୀ , ଖୋର୍ଦ୍ଧା, ଗଂଜାମ, ଜଗତସିଂହପୁର, ନୟାଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହିସମୁ ଜିଲ୍ଲାଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଗଜପତି,କେନ୍ଦୁଝର,ମୟୁରଭଂଜ,ଢେଙ୍କାନାଳ, ଅନୁଗୁଳ, ଦେବଗଡ, ବରଗଡ, ରାୟଗଡା, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହା ବ୍ୟତୀତ ୨୦ ଜିଲ୍ଲାରେ ବିଜୁଳି ଘଡଘଡି ସହ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ୭ ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ୨୦ ସେମି) ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡା ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗଜପତି, ଗଂଜାମ, ରାୟଗଡା, ଖୋର୍ଦ୍ଧା, ପୁରୀ, ନୟାଗଡ, ବୌଦ୍ଧ,ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ର୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।