ଭୁବନେଶ୍ୱର, 12 ଜୁନ – ଓଡିଶାରେ ଆରମ୍ଭ ହୋଇଛି ମୋହନ ମାଝୀ ଯୁଗ । ଆଜି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ ପ୍ରଭାତୀ ପରିଡ଼ା ଓ କେଭି ସିଂହଦେଓ ଶପଥ ନେଇଛନ୍ତି ।
ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ । ସେହିପରି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି , କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗଦେଇଛନ୍ତି । ଶପଥ ଗ୍ରହଣ ଉତ୍ସବ ପରେ ନୂଆ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ ।